Menu

ଆୟୁବ 17

IRV

1 ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି।

2 ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି।

3 ହେ ପରମେଶ୍ୱର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ; ଆଉ କିଏ ମୋʼ ହାତରେ ହାତ ଦେବ?

4 କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ।

5 ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ।

6 ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।

7 ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି।

8 ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ।

9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।

10 ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ।

11 ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍‍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା।

12 ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।

13 ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;

14 ଯଦି ମୁଁ କ୍ଷୟକୁ କହିଅଛି, ‘ତୁମ୍ଭେ ମୋହର ପିତା;’ କୀଟକୁ କହିଅଛି, ‘ତୁମ୍ଭେ ମୋହର ମାତା’ ଓ ‘ଭଗିନୀ;’

15 ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ?

16 ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ।”

Everything we make is available for free because of a generous community of supporters.

Donate