Menu

ଆୟୁବ 39

IRV

1 ତୁମ୍ଭେ କି ଶୈଳବାସିନୀ ବନ୍ୟ ଛାଗୀର ପ୍ରସବକାଳ ଜାଣ? ଅବା ହରିଣୀର ପ୍ରସବରୀତି ନିର୍ଣ୍ଣୟ କରିପାର?

2 ତୁମ୍ଭେ କି ସେମାନଙ୍କର ଗର୍ଭମାସ ଗଣନା କରିପାର? ସେମାନଙ୍କର ପ୍ରସବ-ସମୟ କି ତୁମ୍ଭେ ଜାଣ?

3 ସେମାନେ ନଇଁ ପଡ଼ିଲେ, ଛୁଆ ପ୍ରସବ କରି ଆପଣା ଦୁଃଖ ଦୂର କରନ୍ତି।

4 ସେମାନଙ୍କ ଛୁଆମାନେ ହୃଷ୍ଟପୁଷ୍ଟ ହୁଅନ୍ତି, ମେଲା ପଦାରେ ବଢ଼ନ୍ତି; ସେମାନେ ବାହାରିଯାଇ ଆସନ୍ତି ନାହିଁ।

5 କିଏ ବନ୍ୟ ଗର୍ଦ୍ଦଭକୁ ସ୍ୱାଧୀନ କରି ଛାଡ଼ି ଦେଇଅଛି? ଅବା କିଏ ବନ୍ୟ ଗର୍ଦ୍ଦଭର ବନ୍ଧନ ମୁକ୍ତ କରିଅଛି?

6 ଆମ୍ଭେ ବନକୁ ତାହାର ଗୃହ ଓ ଲବଣ ଭୂମିକୁ ତାହାର ନିବାସ ସ୍ଥାନ କରିଅଛୁ।

7 ସେ ନଗରର ଚହଳ ତୁଚ୍ଛ କରେ, କିଅବା ଅଡ଼ାଇବା ଲୋକର ଉଚ୍ଚ ଶବ୍ଦ ଶୁଣେ ନାହିଁ।

8 ପର୍ବତଶ୍ରେଣୀ ତାହାର ଚରାସ୍ଥାନ ଓ ସେ ସର୍ବପ୍ରକାର ସତେଜ ତୃଣାଦି ଅନ୍ଵେଷଣ କରେ।

9 ଅରଣା ଷଣ୍ଢ କି ତୁମ୍ଭର ସେବା କରିବାକୁ ସନ୍ତୁଷ୍ଟ ହେବ? ଅବା ସେ କି ତୁମ୍ଭ କୁଣ୍ଡ ପାଖରେ ରହିବ?

10 ତୁମ୍ଭେ କି ଅରଣା ଷଣ୍ଢକୁ ତାହାର ବନ୍ଧନରେ ବାନ୍ଧି ଲଙ୍ଗଳଶିଆରରେ ଚଳାଇପାର? ଅବା ସେ କି ତୁମ୍ଭ ପଛେ ପଛେ ଉପତ୍ୟକାରେ ମଇ ଦେବ?

11 ତାହାର ବହୁତ ବଳ ଥିବାରୁ ତୁମ୍ଭେ କି ତାହାକୁ ବିଶ୍ୱାସ କରିବ? ଅବା ତୁମ୍ଭେ କି ଆପଣା କର୍ମ ତାହାକୁ ସମର୍ପଣ କରିବ?

12 ସେ ତୁମ୍ଭ ଶସ୍ୟ ଗୃହକୁ ଆଣିବ ଓ ତୁମ୍ଭ ଖଳାର ଶସ୍ୟ ସଂଗ୍ରହ କରିବ ବୋଲି କି ତୁମ୍ଭେ ତାହାଠାରେ ନିର୍ଭର କରିବ?

13 ଓଟପକ୍ଷୀଣୀର ପକ୍ଷ ଉଲ୍ଲାସ କରେ; ମାତ୍ର ତାହାର ଡେଣା ଓ ପର କି ସ୍ନେହଶୀଳ?

14 କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ,

15 ଆଉ ପାଦରେ ତାହା ଭଗ୍ନ ଅବା ବନ୍ୟ ପଶୁ ଦ୍ୱାରା ତାହା ଦଳିତ ହେବ ବୋଲି ପାସୋରି ଯାଏ।

16 ତାହାର ଛୁଆମାନେ ତାହାର ନିଜର ନ ଥିଲା ପରି ସେ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୁଏ; ତାହାର ପ୍ରସବବେଦନା ବିଫଳ ହେଲେ ହେଁ ସେ ନିଶ୍ଚିନ୍ତ ଥାଏ;

17 କାରଣ ପରମେଶ୍ୱର ତାହାକୁ ଜ୍ଞାନରହିତ କରିଅଛନ୍ତି, ଅଥବା ସେ ତାହାକୁ ବୁଦ୍ଧି ଦେଇ ନାହାନ୍ତି।

18 ସେ ଉପରକୁ ଉଠିଲେ, ଅଶ୍ୱ ଓ ଅଶ୍ୱାରୋହୀକି ପରିହାସ କରେ।

19 ତୁମ୍ଭେ କି ଅଶ୍ୱକୁ ତାହାର ବିକ୍ରମ ଦେଇଅଛ? ତୁମ୍ଭେ କି କମ୍ପମାନ କେଶରରେ ତାହାର ଗ୍ରୀବାଦେଶ ଭୂଷିତ କରିଅଛ?

20 ତୁମ୍ଭେ କି ତାହାକୁ ପଙ୍ଗପାଳ ପରି କୁଦିବାକୁ ଦେଇଅଛ? ତାହାର ନାସାଶବ୍ଦର ତେଜ ଭୟାନକ।

21 ସେ ଉପତ୍ୟକାରେ ଖୁରା ମାରେ ଓ ଆପଣା ବଳରେ ଆନନ୍ଦ କରନ୍ତେ ସେ ସସଜ୍ଜ ଯୋଦ୍ଧାମାନଙ୍କୁ ଭେଟିବାକୁ ଯାଏ।

22 ସେ ଭୟକୁ ପରିହାସ କରେ ଓ ଉଦ୍‍ବିଗ୍ନ ହୁଏ ନାହିଁ; କିଅବା ଖଡ୍ଗ ସମ୍ମୁଖରୁ ଫେରେ ନାହିଁ।

23 ତୂଣ, ଝଲମଲ ବର୍ଚ୍ଛା ଓ ଶୂଳ ତାହା ପ୍ରତିକୂଳରେ ଝନ୍‍ଝନ୍‍ ଶବ୍ଦ କରେ।

24 ସେ ପ୍ରଚଣ୍ଡତା ଓ କ୍ରୋଧରେ ଭୂମି ଗ୍ରାସି ପକାଏ; କିଅବା ଏହା ତୂରୀ ଶବ୍ଦ ବୋଲି ବିଶ୍ୱାସ କରେ ନାହିଁ।

25 ଯେତେ ଥର ତୂରୀ ବାଜେ, ସେତେଥର ସେ ହିଁ ହିଁ ଶବ୍ଦ କରେ! ଓ ସେ ଦୂରରୁ ସଂଗ୍ରାମର, ସେନାପତିମାନଙ୍କର ହୁଙ୍କାର ଓ ସିଂହନାଦର ଗନ୍ଧ ପାଏ।

26 ତୁମ୍ଭ ଜ୍ଞାନରେ କି ବାଜପକ୍ଷୀ ଉପରକୁ ଉଡ଼େ ଓ ଦକ୍ଷିଣ ଦିଗକୁ ଆପଣା ପକ୍ଷ ବିସ୍ତାର କରେ?

27 ଉତ୍କ୍ରୋଶ ପକ୍ଷୀ ତୁମ୍ଭ ଆଜ୍ଞାରେ କି ଉପରକୁ ଉଠେ ଓ ଊର୍ଦ୍ଧ୍ୱରେ ଆପଣା ବସା କରେ?

28 ସେ ଶୈଳରେ ବାସ କରେ, ସେଠାରେ ତାହାର ବସା, ସେ ଶୈଳାଗ୍ରରେ ଓ ଦୁର୍ଗମ ସ୍ଥାନରେ ଥାଏ।

29 ସେଠାରୁ ସେ ଶିକାର ନିରୀକ୍ଷଣ କରେ; ତାହାର ଚକ୍ଷୁ ଦୂରରୁ ତାହା ଦେଖେ।

30 ତାହାର ଛୁଆମାନେ ମଧ୍ୟ ରକ୍ତ ଚୁଷନ୍ତି; ଯେଉଁଠାରେ ହତ ଲୋକ, ସେହିଠାରେ ସେ ଥାଏ।”

Everything we make is available for free because of a generous community of supporters.

Donate