Menu

ଗୀତସଂହିତା 108

IRV

1 ହେ ପରମେଶ୍ୱର, ମୋହର ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ଆପଣା ଗୌରବ ସହିତ ପ୍ରଶଂସା ଗାନ କରିବି।

2 ହେ ନେବଲ ଓ ବୀଣେ, ଜାଗ; ମୁଁ ନିଜେ ଅତି ପ୍ରଭାତରେ ଜାଗିବି।

3 ହେ ସଦାପ୍ରଭୋ, ମୁଁ ଗୋଷ୍ଠୀବର୍ଗ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ଓ ମୁଁ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି।

4 ଯେହେତୁ ତୁମ୍ଭର ଦୟା ଆକାଶ ଅପେକ୍ଷା ମହତ ଓ ତୁମ୍ଭର ସତ୍ୟତା ଗଗନସ୍ପର୍ଶୀ;

5 ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ।

6 ଯେପରି ତୁମ୍ଭର ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କରି ଆମ୍ଭମାନଙ୍କୁ ଉତ୍ତର ଦିଅ।

7 ପରମେଶ୍ୱର ଆପଣା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ମୁଁ ଶିଖିମକୁ ବିଭାଗ କରିବି ଓ ସୁକ୍କୋତ ଉପତ୍ୟକା ମାପିବି।

8 ଗିଲୀୟଦ ମୋହର; ମନଃଶି ମୋହର; ଇଫ୍ରୟିମ ମଧ୍ୟ ମୋʼ ମସ୍ତକର ଆଶ୍ରୟ; ଯିହୁଦା ମୋହର ରାଜଦଣ୍ଡ।

9 ମୋୟାବ ମୋʼ ପ୍ରକ୍ଷାଳନ-ପାତ୍ର; ଇଦୋମ ଉପରେ ମୁଁ ଆପଣା ପାଦୁକା ପକାଇବି। ପଲେଷ୍ଟୀୟ ଉପରେ ଜୟଧ୍ୱନି କରିବି।”

10 କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?

11 ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ପୁଣି, ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।

12 ବିପକ୍ଷର ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।

13 ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।

Everything we make is available for free because of a generous community of supporters.

Donate