Menu

ଗୀତସଂହିତା 42

IRV

1 ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।

2 ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି?

3 ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?”

4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।

5 ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ? ତୁ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛୁ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।

6 ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।

7 ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।

8 ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।

9 ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି?”

10 ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି?

11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।

Everything we make is available for free because of a generous community of supporters.

Donate