Menu

ଗୀତସଂହିତା 63

IRV

1 ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ।

2 ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।

3 କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।

4 ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;

5 ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।

6 ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।

7 କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।

8 ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।

9 ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ।

10 ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ।

11 ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।

Everything we make is available for free because of a generous community of supporters.

Donate