Menu

ପ୍ରକାଶିତ 13

IRV

1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ବରନିନ୍ଦାସୂଚକ ବିଭିନ୍ନ ନାମ।

2 ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା।

3 ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି, ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ତାହାର ଅନୁଗମନ କଲେ,

4 ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରିପାରେ?

5 ସେହି ପଶୁକୁ ଅହଙ୍କାର ଓ ଈଶ୍ବରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।

6 ସେଥିରେ ସେହି ପଶୁ ମୁଖ ଫିଟାଇ ଈଶ୍ବରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ବୁ ପୁଣି, ସ୍ୱର୍ଗନିବାସୀମାନଙ୍କର ନିନ୍ଦା କଲା।

7 ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।

8 ଜଗତର ସୃଷ୍ଟିଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ ପ୍ରଣାମ କରିବେ।

9 ଯାହାର କର୍ଣ୍ଣ ଅଛି, ସେ ଶୁଣୁ।

10 “କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ୍ଗ ଦ୍ୱାରା ବଧ କରାଯିବ।” ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ।

11 ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶୃଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା।

12 ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ।

13 ସେ ମହା ମହା ଆଶ୍ଚର୍ଯ୍ୟକର୍ମ କରେ, ଏପରିକି ମନୁଷ୍ୟମାନଙ୍କ ସାକ୍ଷାତରେ ଆକାଶରୁ ପୃଥିବୀ ଉପରେ ଅଗ୍ନି ବୃଷ୍ଟି କରାଏ।

14 ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।

15 ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା।

16 ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ୱାଧୀନ ଓ ପରାଧୀନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟାଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ,

17 ପୁଣି, ସେହି ଚିହ୍ନ, ଅର୍ଥାତ୍‍ ପଶୁର ନାମ କିମ୍ବା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ।

18 ଏଠାରେ ଜ୍ଞାନ ଆବଶ୍ୟକ। ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ଛଅ ଶହ ଛଷଠି।

Everything we make is available for free because of a generous community of supporters.

Donate